କଟକ,୨୩/୦୧/୨୦୨୧(ଓଡ଼ିଶା ସମାଚାର/ଦେବାଶିଷ ରଥ)- ଆଜି ଭାରତୀୟ ମୁକ୍ତି ସଂଗ୍ରାମର ମହାନ୍ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ ଦିବସ । ଆଜିଠାରୁ ସାରା ଦେଶରେ ନେତାଜୀଙ୍କର ୧୨୫ତମ ଜନ୍ମ ବାର୍ଷିକୀ ପାଳନ ଆରମ୍ଭ ହୋଇଛି । ଏହି ଅବସରରେ ନେତାଜୀଙ୍କୁ ତାଙ୍କର ଜନ୍ମସ୍ଥାନ କଟକରେ ଭକ୍ତିପୁତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହେଲିକପଟର ଯୋଗେ କଟକ ସନସାଇନ ପଡ଼ିଆରେ ପହଂଚି ସେଠାରୁ ସିଧା କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କର ଜନ୍ମ ସ୍ଥାନ ଜାନକୀନାଥ ଭବନକୁ ଯାଇ ରାଜ୍ୟବାସୀଙ୍କ ତରଫରୁ ଶ୍ରଦ୍ଧା ସୁମନ ଅର୍ପଣ କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନର ଅଂଶସ୍ୱରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଖାନନଗର ଠାରେ କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ କରିଥିଲେ । ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ନେତାଜୀ ଏହି କଟକ ମାଟିର ପୁଅ । ଏହି କଟକରେ ଜନ୍ମ ହୋଇଥିଲେ ଓ ବଡ ହୋଇଥିଲେ । ଏହି କଟକ ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା । ତେଣୁ ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଭାବରେ ବର୍ଷ ବ୍ୟାପୀ କାର୍ୟ୍ୟକ୍ରମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେତେବେଳେ ବି ନେତାଜୀଙ୍କ ଜନ୍ମସ୍ଥାନକୁ ଯାଇଛନ୍ତି, ସେତେବେଳେ ସେ ଭାବୁକ ହୋଇଯାନ୍ତି । ଦେଶ ପାଇଁ ଓ ଜାତି ପାଇଁ ନେତାଜୀଙ୍କ ଅସୀମ ତ୍ୟାଗକୁ କେହି କେବେ ଭୁଲିପାରିବ ନାହିଁ । ଭାରତର ସ୍ୱାଧୀନତା ସଂଗ୍ରାମକୁ ଶକ୍ତିଶାଳୀ କରିବାରେ ତାଙ୍କର ଭୂମିକା ଅତୁଳନୀୟ ଥିଲା । ନେତାଜୀଙ୍କ ଦେଶଭକ୍ତି ଓ ସାହସ ଭାରତ ଇତିହାସରେ ଏକ ଗୌରବମୟ ଗାଥା ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କଟକ ନେତାଜୀ ବସ୍ ଟର୍ମିନାଲକୁ ଦେଶର ଏକ ମଡେଲ ବସ୍ ଟର୍ମିନାଲ ଭାବରେ ଗଢାଯିବ । ଏଠାକୁ ଆସୁଥିବା ସମସ୍ତଙ୍କ ମନରେ ନେତାଜୀଙ୍କ ସ୍ମୃତି ଯେପରି ଜାଗ୍ରତ ହୋଇପାରିବ, ସେଥିପାଇଁ ପଦକ୍ଷେପ ନିଆଯିବ। ନେତାଜୀଙ୍କର ଜୀବନୀ ଓ ସଂଗ୍ରାମର ଝଲକ ସବୁଠାରେ ଦେଖିବାକୁ ମିଳିବ ଏବଂ ଏଠାକୁ ଆସୁଥିବା ପ୍ରତିଟି ଲୋକ ନେତାଜୀଙ୍କ ସାହସ ଓ ଦେଶଭକ୍ତିର ବାର୍ତ୍ତା ନେଇ ଫେରିବ । ଏହି ବସ୍ ଟର୍ମିନାଲ ହଜାର ବର୍ଷର ସହର କଟକର ଗରିମାକୁ ଆହୁରି ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାରଙ୍କର ୫-ଟି କାର୍ୟ୍ୟକ୍ରମ ଅଧୀନରେ ହେବାକୁ ଯାଉଥିବା ଏହି ନୂତନ ବସ୍ ଟର୍ମିନାଲରେ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିବ । ଏଥିରେ ୧୧ ହଜାର ବର୍ଗମିଟର ନିର୍ମିତ ଅଞ୍ଚଳରେ ୧୮୦ଟି ବସ୍ ଓ ୨୭୫ ଟି କାର ରହିପାରିବ । ୬୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ଏହି ବସ ଟର୍ମିନାଲ ରାଜ୍ୟ ଗମନାଗମନ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ମୁଖ୍ୟମନ୍ତ୍ରୀ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ କରିକ୍ତଳ ଙ୍ଗକ୍ଷହ ବସ୍ ଟର୍ମିନାଲ ଅଞ୍ଚଳ ପରିଦର୍ଶନ କରି ଏହାର ନକ୍ସା ଅନୁଧ୍ୟାନ କରିଛନ୍ତି । ଓଡ଼ିଶା ସମାଚାର