ଭୁବନେଶ୍ୱର, ୧୮/୦୨/୨୦୨୧ (ଓଡ଼ିଶା ସମାଚାର)- ପ୍ରଥମେ ପୁରୀ ଶ୍ରୀ ମନ୍ଦିରର ଭିତିଭୂମି ବିକାଶ ପାଇଁ ରାଜ୍ୟ ସରକାର କାର୍ଯ୍ୟାରମ୍ଭ କରିବା ପରେ ମହାପ୍ରଭୁ ଲିଙ୍ଗରାଜ ମନ୍ଦିରର ଭିତିଭୂମି ବିକାଶ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି । ଏହାପରେ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ମା’ ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାର ସମଲେଇ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏଥିପାଇଁ ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯିବ। ଏହି ଯୋଜନାରେ ମା’ଙ୍କ ମନ୍ଦିରର ସୌନ୍ଦର୍ୟ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ୟ୍ୟଟକ ଓ ଭକ୍ତମାନଙ୍କ ସୁବିଧା ସୁଯୋଗକୁ ଗୁରୁତ୍ବ ଦିଆଯାଇଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନ କରାଯାଇଥିଲା। ଓଡ଼ିଶା ସମାଚାର