ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡାକ୍ତର ଦାମୋଦର ରାଉତଙ୍କ ପରଲୋକ

ଭୁବନେଶ୍ୱର, ୨୨/୦୩/୨୦୨୪ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ  ତାଙ୍କର ପରଲୋକ ହୋଇଯାଇଛି। ଦାମୋଦର ରାଉତଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି। ହୃଦଘାତରେ ଗୁରୁତର ଅସୁସ୍ଥ ହୋଇ ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ତେବେ ତାଙ୍କର ବ୍ରେନ୍ ଡ଼େଡ଼୍ ଥିଲା । ଭେଂଟିଲେଟର ସପୋର୍ଟରେ ଚିକିତ୍ସା କରାଯାଉଥିଲା । ଗତକାଲି ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଥିଲା ହେଲେ ଆଜି ସକାଳୁ ସକାଳୁ ତାଙ୍କ ଦେହାନ୍ତ ଖବର ଆସିଲା ।
ତିନିମାସ ତଳେ ଡାକ୍ତର ରାଉତ ମଧ୍ୟ ଅସୁସ୍ଥ ହୋଇପଡ଼ିଥିଲେ। ଯକୃତରେ ପାଣି ଜମିଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସୁସ୍ଥ ହେବା ପରେ ସେ ଘରକୁ ଫେରିଥିଲେ।
ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବେଶ୍ ଜଣାଶୁଣା ଓ ଚର୍ଚିତ ରାଜନେତା ଥିଲେ। ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ଏକାଧିକ ଥର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରି ପୁଣି ବିଜେଡିକୁ ଫେରିଆସିଥିଲେ।
ସୂଚନାଯୋଗ୍ୟ, ଡ. ଦାମୋଦର ରାଉତ ୧୯୪୨ ମସିହା ଜୁଲାଇ ୨ ତାରିଖରେ ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ମହିମାଦେଇପୁର ଡାକଘର ଅଧୀନ ମାଳିପୁର ଗାଁରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କର ବାପା ଥିଲେ କପିଳ ଚନ୍ଦ୍ର ରାଉତ। ତାଙ୍କର ଏକମାତ୍ର ପୁଅ ସମ୍ବିତ ରାଉତ ଓ ଦୁଇ ଜଣ ଝିଅ ଅଛନ୍ତି। ସମାଜ ସେବାକୁ ଭଲ ପାଇବା ସହିତ ସେ ଓଡ଼ିଶା ରାଜନୀତିର ଜଣେ ଅଭିଜ୍ଞ ରାଜନୀତିଜ୍ଞ ଥିଲେ। ରୁଷ, ଚୀନ, ଜାପାନ, ଥାଇଲାଣ୍ଡ, ଫିଲିପାଇନ୍ସ, ମାଲେସିଆ ଓ ତାଇୱାନ ଭ୍ରମଣ କରିଥିଲେ।
ଡ. ଦାମ ରାଉତ ୧୯୭୭ରୁ ୧୯୮୫ ଜନତା ଦଳ ଟିକେଟରେ ଏରସମାରୁ ବିଧାୟକ ହୋଇଥିଲେ। ୧୯୯୦ରୁ ୧୯୯୫ରେ ପୁଣି ଜନତ ଦଳ ଟିକେଟରେ ଏରସମାରୁ ବିଧାୟକ ହୋଇଥିଲେ। ବିଜେଡି ଟିକେଟରେ ୨୦୦୨ରୁ ୨୦୦୯ ଯାଏଁ ଏରସମାରୁ ଓ ୨୦୦୯ରୁ ୨୦୧୯ ଯାଏଁ ପାରାଦୀପରୁ ବିଧାୟକ ହୋଇଥିଲେ। ସାତ ଥର ବିଧାୟକ ହେବା ସହିତ ସେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ସୂଚନା ପ୍ରଯୁକ୍ତିବିଦ୍ୟା, ସାମାଜିକ କଲ୍ୟାଣ, ପଞ୍ଚାୟତିରାଜ ଓ ଅବକାରୀ, ମହିଳା ଓ ଶିଶୁ ବିକାଶ, ସୂଚନା ଓ ଲୋକସଂପର୍କ, ସଂସ୍କୃତି, କୃଷି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଉନ୍ନୟନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ବିଭାଗରେ ମନ୍ତ୍ରୀ ଥିଲେ।
ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଏକ୍ସ’ରେ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ୟ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ଠିକ୍ ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ୟ୍ୟରେ ନିଜକୁ ନିୟୋଜିତ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

Leave a Reply

Your email address will not be published. Required fields are marked *