ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ  

ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସଂପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୦/୭/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିବା ସହ ତାଙ୍କ ଆତ୍ମୀୟସ୍ଵଜନଙ୍କୁ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ।  ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ  ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ  ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସ୍ବର୍ଗତ ପୂଜାରୀଙ୍କ ପୁଅ ଟଙ୍କଧର ପୂଜାରୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ଶାନ୍ତ୍ବନା ଦେଇଛନ୍ତି। ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ବର୍ଗତ ପୂଜାରୀଙ୍କ ଶେଷକୃତ୍ୟ ସଂପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *