ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଶ, ନିୟମିତ ପରୀକ୍ଷା ଚାଲିବ
ଭୁବନେଶ୍ୱର,୨୩/୦୪/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଆଜିଠାରୁ ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା
କରାଯାଇଛି । ଏପ୍ରିଲ୨୩ ତାରିଖଠାରୁ ଅଙ୍ଗନବାଡ଼ି, ଶିଶୁବାଟିକାଠାରୁ ଆରମ୍ଭ କରି ଦ୍ୱାଦଶଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ରାଜ୍ୟରେ ବର୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଧେଶ ଦେଇଛନ୍ତି । ଏହି ନିର୍ଦ୍ଧେଶ ଅନୁଯାୟୀ ଅଙ୍ଗନବାଡ଼ି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ ।
ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି । ତେଣୁ ପିଲାମାନଙ୍କ ସ୍ୱାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତିି ଗ୍ରହଣ କରିଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡ଼ି ପିଲାମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇଦେବା ପାଇଁ ମଧ୍ୟ ନିର୍ଦ୍ଧେଶ ଦିଆଯାଇଛି ।
ସେହିପରି ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ୍ ୨୩ ତାରିଖଠାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷାଗୁଡ଼ିକ ନିର୍ଦ୍ଧିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଧେଶ ଦିଆଯାଇଛି । ଏହାସହିତ ହଷ୍ଟେଲ୍ ପିଲାମାନେ ଚାହିଁଲେ, ଏହି ଛୁଟି ସମୟରେ ହଷ୍ଟେଲ୍ ରେ ରହିପାରିବେ ।
ଏହି ସମୀକ୍ଷା ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ତଥା ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୁଲିସ ମହାନିର୍ଦ୍ଧେଶକ ୱାଇ.ବି. ଖୁରାନିଆ, ରାଜସ୍ୱ ଓ ବିର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
