ଭୁବନେଶ୍ୱର, ୦୩ /୦୧/୨୦୨୪ (ଓଡ଼ିଶା ସମାଚାର)-ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି । ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ। ଶାସ୍ତ୍ରୀୟ ଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟ କରାଯିବ ଏ ସମ୍ପର୍କରେ ବିଶଦ ଭାବେ ଆଲୋଚନା କରାଯିବ।ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ଓ ପ୍ରଯୁକ୍ତି ବିଦ୍ୟା ଯୁଗରେ ଏହି ଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ। ଏହି ସମ୍ମିଳନୀରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ଉପରେ ଅନେକ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରାଯିବ । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାବିତ୍ ମାନେ ଯୋଗ ଦେଇ ଓଡ଼ିଆ ଭାଷାର ସର୍ବ ପ୍ରାଚୀନତା ଓ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ। ଏଥିରେ ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ । ଏଥିସହ ବିଶେଷଜ୍ଞ ମାନେ ଏହି ତିନି ଦିନରେ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ଉପରେ ତଥ୍ୟ ଭିତ୍ତିକ ଉପସ୍ଥାପନ କରିବେ। ସମ୍ମିଳନୀରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ ତଥା ସବୁ ବର୍ଗର ବ୍ୟକ୍ତିବିଶେଷ ଯୋଗଦେବେ। ଓଡ଼ିଆ ଭାଷାକୁ ଅଭିନବ ଭାବେ କିଭଳି ଶିଖି ହେବ ଏ ସମ୍ପର୍କରେ ମଧ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହେବ। ଏହି ସମ୍ମିଳନୀ ବିଶ୍ୱର କଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଷାଭାଷୀମାନଙ୍କ ନିମନ୍ତେ ଏକ ନୂତନ ଆଲୋକବର୍ତ୍ତିତା ହେବ।
Related Posts
ନରସିଂହପୁର ବନାଞ୍ଚଳରେ ପୁଣି ଏକ ଦନ୍ତାହାତୀର ମୃତ୍ୟୁ
୪ମାସରେ ମଲେଣି ୭ହାତୀ ନରସିଂହପୁର, ୨୨/୦୪/୨୦୨୫ (ଓଡ଼ିଶା ସମାଚାର)- ନରସିଂହପୁର ପଶ୍ଚିମାଞ୍ଚଳର ବାଲିକିଆରୀ ବିଟର କୋହ୍ଲ ତାଇଲା ନିକଟରେ ଏକ ୩ ବର୍ଷର ଦନ୍ତାହାତୀର ମୃତ୍ୟୁ ଘଟିଛି…
ବାଲିଗୁଡ଼ା ଆଇଟିଡିଏରେ ନୂତନ ପ୍ରକଳ୍ପ ପ୍ରଶାସକଙ୍କ ଯୋଗଦାନ
ବାଲିଗୁଡା,୦୨/୦୧/୨୪ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର…
‘ୱି କେନ୍’ ଚାରିଟେବୁଲ ଟ୍ରଷ୍ଟର ‘ଖ୍ରୀଷ୍ଟମାସ ଫିଡ୍’ ଉତ୍ସବ
ଦୃଷ୍ଟିବାଧିତ ବିଦ୍ୟାର୍ଥୀଙ୍କ ସହ ଗୋଟିଏ ଦିନ ଭୁବନେଶ୍ୱର,୨୫/୧୨/୨୦୨୩ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ପବିତ୍ର ବଡ଼ ଦିନ ଅବସରରେ ଚାରିଟେବୁଲ ଟ୍ରଷ୍ଟ ‘ୱି କେନ୍’ ପକ୍ଷରୁ ‘ଖ୍ରୀଷ୍ଟମାସ ଫିଡ୍’ ଉତ୍ସବ…
