ଏମ.ଏସ.ଏମ.ଇ ପାର୍କ କାର୍ଯ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ

    ସବୁ ଜିଲ୍ଲାରେ ପ୍ରତିଷ୍ଠା ହେବ ଏମଏସଏମଇ ପାର୍କ – ସମୁଦ୍ର ପଥ, ଆକାଶପଥରେ କାର୍ଗୋ ସୁବିଧା ଉପରେ ଗୁରତ୍ୱ

ଭୁବନେଶ୍ୱର,୨୧/୦୮/୨୦୨୫(ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏମ.ଏସ.ଏମ.ଇ କ୍ଷେତ୍ର ହେଉଛି ବ୍ୟାପକ ନିଯୁକ୍ତି ଓ ସମ୍ଭାବନାର କ୍ଷେତ୍ର । ସରକାରୀ ସ୍ତରରେ ଏମ.ଏସ.ଏମ.ଇ ପ୍ରତିଷ୍ଠା ପାଇଁ ସମସ୍ତ ପ୍ରକାର ସୁବିଧାସୁଯୋଗ ପ୍ରଦାନ କରାଯାଉଛି ।

ଯୁବଗୋଷ୍ଠୀଙ୍କୁ ଅଧିକରୁ ଅଧିକ ଏ କ୍ଷେତ୍ରକୁ ଆକୃଷ୍ଟ କରିବା ପାଇଁ ବିଭାଗ ପକ୍ଷରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିପାଇଁ ସବୁ ଜିଲାରେ ଏମ.ଏସ.ଏମ.ଇ ପାର୍କ ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯାଉଛି । ଏହି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଧେଶ ଦେଇଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଖୁବ୍ ସଫଳ ହେଉଛି । ପ୍ରାୟ ୧୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି ହୋଇ ସାରିଲେଣି । ଏଥିରେ ଅନେକ କ୍ଷୁଦ୍ର ବ୍ୟବସାୟୀ ଓ ଉଦ୍ୟୋଗୀ ଅଛନ୍ତି ।

ସେମାନଙ୍କୁ ଉପଯୁକ୍ତ ସହାୟତା ପ୍ରଦାନ କରାଗଲେ, ସେମାନେ ଆଗକୁ ବଢିପାରିବେ ଏବଂ ଉଦ୍ୟୋଗ ଓ ବାଣିଜ୍ୟ କ୍ଷେତ୍ରରେ ବ୍ୟାପକ ସଫଳତା ହାସଲ କରିାରିବେ । ତେଣୁ ସେମାନଙ୍କୁ ଏମ.ଏସ.ଏମ.ଇ କ୍ଷେତ୍ରରେ ଉଦ୍ୟୋଗ ପ୍ରତିଷ୍ଠା କରିବା ପାଇଁ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଓଡିଶାର ଏମ.ଏସ.ଏମ.ଇ କ୍ଷେତ୍ରର ଉତ୍ପାଦିତ ସାମଗ୍ରୀକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ସହିତ ସ୍କୁଲ, କଲେଜ ମାନଙ୍କରେ ବ୍ୟବହାର କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ଏମ.ଏସ.ଏମ.ଇ କ୍ଷେତ୍ରରେ ଅଧିକ ରପ୍ତାନୀ ଓ ଆମଦାନୀ ସୁବିଧା ପାଇଁ ଉଭୟ ସମୁଦ୍ରପଥ ଓ ଆକାଶପଥରେ କାର୍ଗୋ ସୁବିଧା ବୃଦ୍ଧି କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ ।

Leave a Reply

Your email address will not be published. Required fields are marked *