ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ସାରର କୌଣସି ଅଭାବ ନାହିଁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୧/୦୯/୨୦୨୫ (ଓଡ଼ିଶା ସମାଚାର)-  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରିଛନ୍ତି।  ସମସ୍ତ ଜିଲ୍ଲାରେ ଥିବା  ପ୍ୟାକ୍ସ ଓ ଲ୍ୟାମ୍ପସ  ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ତଦାରଖ  କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାପାଳଙ୍କୁ କଡାକଡି ନିର୍ଦ୍ଦେଶ ଦେଇଛନ୍ତି । କୌଣସି ପ୍ରକାର କଳାବଜାରୀ କିମ୍ବା  ନକଲି ସାରର ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯାଞ୍ଚ ସ୍ଥାନରେ ସାରକୁ ଜବତ ନକରି ସେହି ସାରକୁ ନିକଟସ୍ଥ  ପ୍ୟାକ୍ସ ଏବଂ  ଲ୍ୟାମ୍ପସକୁ ସ୍ଥାନାନ୍ତରିତ କରି ଚାଷୀଙ୍କୁ ଆବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ରାଜ୍ୟରେ ସାରର କୌଣସି ଅଭାବ ନାହିଁ । ସମସ୍ତ ଜିଲ୍ଲାରେ  ଆବଶ୍ୟକତା ଅନୁଯାୟୀ ସାର ଆବଣ୍ଟନ କାର୍ଯ୍ୟ ସୁରୁଖୁରରେ ଚାଲିଛି । ୨୦୨୫ ଖରିଫ ଋତୁରେ ସେପ୍ଟେମ୍ବର ୩୦ ସୁଦ୍ଧା ସମୁଦାୟ ୯,୫୫,୦୦୦ ମେଟ୍ରିକ ଟନ ସାର ଆବଶ୍ୟକ ଥିବାବେଳେ କେନ୍ଦ୍ର ସରକାର ଏହି ପରିମାଣର ସାର ଆବଣ୍ଟନ କରିଛନ୍ତି । ଆବଶ୍ୟକ ହେଲେ ଅଧିକ ସାର ପାଇଁ ଅନୁରୋଧ କରାଯିବ । ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାରଙ୍କ ପାଖରେ ସମୁଦାୟ ମହଜୁଦ ଥିବା ୧୧,୬୬,୭୩୩ ମେଟ୍ରିକ ଟନ ସାର ମଧ୍ୟରୁ ୯,୮୫,୯୬୭ ମେଟ୍ରିକ ଟନ ସାର ବିକ୍ରି ହୋଇସାରିଛି।

ବୈଠକରେ, ଜିଲ୍ଲାରେ ସାରର ଷ୍ଟକ ସ୍ଥିତି ଏବଂ ଆବଶ୍ୟକତା ଅନୁସାରେ ପ୍ୟାକ୍ସ ଏବଂ  ଲ୍ୟାମ୍ପସକୁ  ବିଭିନ୍ନ ଗ୍ରେଡ଼ର ସାର ଯୋଗାଇଦେବା ପାଇଁ କୃଷି ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିଭଳି, ମାର୍କଫେଡ଼ର ଅଧିକାରୀମାନଙ୍କୁ ସାର ଯୋଗାଣ ତ୍ୱରାନ୍ୱିତ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଜିଲ୍ଲା ଏବଂ ବ୍ଲକ ସ୍ତରରେ ନିୟମିତ ଭାବରେ ବେଆଇନ କାର୍ଯ୍ୟକଳାପ ଉପରେ ଯାଞ୍ଚ କରିବା, କଳାବଜାରୀ ରୋକିବା ପାଇଁ ଏନଫୋର୍ସମେଣ୍ଟକୁ ଅଧିକ କଡାକଡି କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରତ୍ୟେକ ଜିଲ୍ଲାରେ Crop Diversification ଏବଂ Integrated Farming System କୁ ଅଧିକ ଗୁରୁତ୍ୱ ଦେବା, ତୈଳବୀଜ ଏବଂ ଡାଲି ଜାତୀୟ ଫସଲ କରିବା ପାଇଁ ପ୍ରୋତ୍ସାହନ ଦେବାପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି । ଏଣୁ, ସମୃଦ୍ଧ କୃଷକ ଯୋଜନା ମାଧ୍ୟମରେ ଚାଷ କାର୍ଯ୍ୟକୁ ବହୁଗୁଣିତ କରିବା ପାଇଁ ଆମର ଯେଉଁ ଲକ୍ଷ୍ୟ ଅଛି, ତାହା  ସଫଳ ହୋଇ ପାରିବ । ବନ୍ୟାଞ୍ଚଳରେ କ୍ଷୟକ୍ଷତି ଆକଳନ କରି ସେଠାରେ ଚାଷୀ ମାନଙ୍କୁ ଯଥା ସୁବିଧା ଯୋଗାଇ ଦିଆ ଯାଉଛି ଏବଂ ଯେପରି ସେହି ଅଂଚଳରେ ଚାଷୀ ମାନେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେ ବିଷୟରେ ଧ୍ୟାନ ଦିଆଯିବା ଆବଶ୍ୟକ ବୋଲି ସେ କହିଥିଲେ।

ଏହି ଅବସରରେ ଆଭାସୀ ମାଧ୍ୟମରେ ଯୋଡି ହୋଇଥିବା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ। ପ୍ରତ୍ୟେକ ଜିଲ୍ଲାରେ ସାର ବଣ୍ଟନ କାର୍ଯ୍ୟକଳାପ ବିଷୟରେ ପଚାରି ବୁଝି ଥିଲେ ଏବଂ କୌଣସି ସ୍ଥାନରେ ଚାଷୀ ମାନଙ୍କ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ,  ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।

Leave a Reply

Your email address will not be published. Required fields are marked *