୧୭ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗର ସମାଧାନ
ଦୁଇ ବର୍ଷ ମଧ୍ୟରେ ଜିଲ୍ଲାସ୍ତରରେ ୨.୪୦ ଲକ୍ଷ ଅଭିଯୋଗ ଶୁଣାଣି, ୯୨ ପ୍ରତିଶତ ସମାଧାନ,
ମୁଖ୍ୟମନ୍ତ୍ରୀଙ୍କ ସହିତ ୧୩ଜଣ ମନ୍ତ୍ରୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶାସନ ସଚିବ ଓ ପଦାଧିକାରୀ ଲୋକଙ୍କ ଅଭିଯୋଗ ଶୁଣିଲେ
ବର୍ତ୍ତମାନ ଅଭିଯୋଗ ଶୁଣାଣି ଆମ ପ୍ରଶାସନିକ ବ୍ୟବସ୍ଥାର ଏକ ଅଭିନ୍ନ ଅଙ୍ଗ ପାଲଟିଛି- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୧/୦୬/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୮ତମ ପାଳି। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସକାଳେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୧୩ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨ ବର୍ଷ ମଧ୍ୟରେ ରାଜ୍ୟ ସରକାରଙ୍କ ଅଭିଯୋଗ ଶୁଣାଣି ପ୍ରକ୍ରିୟା ରାଜ୍ୟ ପ୍ରଶାସନିକ ବ୍ୟବସ୍ଥାର ଏକ ଅଭିନ୍ନ ଅଙ୍ଗ ପାଲଟି ଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୨ ବର୍ଷ ପୂରଣ କରିବାକୁ ଯାଉଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ସମ୍ପୂର୍ଣ୍ଣ ଭାବେ ସକ୍ରିୟ ହୋଇଛି ଏବଂ ମୁଖ୍ୟମନ୍ତ୍ରୀ ଆଜିକୁ ମିଶାଇ ୧୮ ଥର ଶୁଣାଣି କରିସାରିଛନ୍ତି। ଏହା ବ୍ୟତୀତ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କୁ ଭେଟି ତାଙ୍କ ଅଭିଯୋଗ ଗ୍ରହଣ କରିଥାନ୍ତି। ଅଭିଯୋଗ ଶୁଣାଣି ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଯୋଗୁ ପ୍ରଶାସନର ବିଭିନ୍ନ ସ୍ତରରେ ଏହାର ସୁପ୍ରଭାବ ପଡିଛି।
ଜିଲ୍ଲାସ୍ତରରେ ଜିଲ୍ଲାପାଳ ଓ ଏସ୍.ପି ମାନେ ନିୟମିତ ଭାବେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣୁଥିବା ବେଳେ ତହସିଲ ଓ ବ୍ଲକ ସ୍ତରରେ ମଧ୍ୟ ଅଭିଯୋଗ ଶୁଣାଣି ନିୟମିତ ରୂପେ ଚାଲିଛି। ଜିଲ୍ଲାସ୍ତରରେ ଏପ୍ରିଲ ମାସ ସୁଦ୍ଧା ୨.୪୦ ଲକ୍ଷ ଅଭିଯୋଗ ଶୁଣାଣି ହୋଇ ୯୨ ପ୍ରତିଶତ ସମାଧାନ ହୋଇଛି। ଏହା ଦ୍ୱାରା ସାଧାରଣ ଲୋକମାନେ ସେମାନଙ୍କ ଆପତ୍ତି ଅଭିଯୋଗ ଶୁଣାଣି ପାଇଁ ଆଉ ପୂର୍ବ ଭଳି ବିଶେଷ ହଇରାଣ ହରକତ ହେଉନାହାନ୍ତି। ପ୍ରଶାସନିକ ବ୍ୟବସ୍ଥାରେ ଏହି ପରିବର୍ତ୍ତନ ସାଧାରଣ ଲୋକଙ୍କ ଭିତରେ ଏକ ବଡ ପ୍ରଭାବ ପକାଇଛି ଓ ସରକାରଙ୍କ ଉପରେ ସେମାନଙ୍କ ଆସ୍ଥା ବୃଦ୍ଧି ପାଇଛି।
ସବୁଥର ପରି ଆଜି ମୁଖ୍ୟମନ୍ତ୍ରୀ ସକାଳେ ପ୍ରଥମେ ଆସି ବାହାରେ ଅପେକ୍ଷା କରିଥିବା ୩୦ ଜଣ ଦିବ୍ୟାଙ୍ଗ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ।
ବିଭିନ୍ନ ରୋଗରେ ପୀଡ଼ିତ ପ୍ରାୟ ୧୩ ଜଣ ଅଭିଯୋଗକାରୀଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୩.୬୦ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି।
ସେହିଭଳି ପୁଅର ଦୁର୍ଘଟଣା ଜନିତ ମୃତ୍ୟୁ ପାଇଁ ନୟାଗଡ ଜିଲ୍ଲାର କାମାକ୍ଷୀ ସାହୁଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି।
ଆଜି ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ୬୦୦ରୁ ଉର୍ଦ୍ଧ୍ୱ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି।
ସୂଚନାଯୋଗ୍ୟ ଯେ, ଗତ ୧୭ ପାଳି ସୁଦ୍ଧା ଅଭିଯୋଗ ପ୍ରକୋଷ୍ଠରେ ପ୍ରତ୍ୟକ୍ଷ ଭାବେ ଆସି ଅଭିଯୋଗ ଦେଇଥିବା ୧୪,୬୫୧ ଟି ଅଭିଯୋଗ ମଧ୍ୟରୁ ୧୪,୦୪୬ ଅର୍ଥାତ ୯୬ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି।
ଗଣମାଧ୍ୟମ ଆଗରେ ବିବୃତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମର ଏହି ଜନାଭିମୁଖୀ କାର୍ଯ୍ୟକ୍ରମ ଯୋଗୁ ସାଧାରଣ ଲୋକଟିଏ ତା’ର ସମସ୍ୟା ଓ ଅଭିଯୋଗକୁ ସିଧାସଳଖ ସରକାର ଓ ପ୍ରଶାସନ ନିକଟରେ ପହଞ୍ଚାଇ ପାରୁଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବର୍ତ୍ତମାନ ଏହି କାର୍ଯ୍ୟକ୍ରମ ଟିକେ କମ୍ ଅଛି। ଗ୍ରୀଷ୍ମ ଋତୁ ପରେ ଏହାକୁ ଆହୁରି ବ୍ୟାପକ କରାଯିବ । ଭୁବନେଶ୍ୱର ବାହାରେ ବିଭିନ୍ନ ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହା ଦ୍ୱାରା ଦୂରଦୁରାନ୍ତରୁ ଲୋକମାନେ ଆଉ ଖର୍ଚ୍ଚାନ୍ତ ଓ ହଇରାଣ ହୋଇ ଭୁବନେଶ୍ୱର ଆସିବେ ନାହିଁ। ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ସମସ୍ୟା ଶୁଣିବ।
ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ବିଭୂତି ଭୁଷଣ ଜେନା, ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଉଚ୍ଚଶିକ୍ଷା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।
