ଭୀଷଣ ବର୍ଷା ଆଶଙ୍କା, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍ ଆଲର୍ଟ

ଭୁବନେଶ୍ୱର,୨୫/୦୭/୨୦୨୬ (ଓଡ଼ିଶା ସମାଚାର)-ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ଆଶଙ୍କା ସୃଷ୍ଟି ହୋଇଛି। ଆସନ୍ତା ଦୁଇ ଦିନ ମଧ୍ୟରେ ଏହି ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବାରୁ ଜୁଲାଇ ୩୧ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି । ଭୀଷଣ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୬ଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି ହୋଇଛି।

ସେହିପରି ୯ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଏବଂ ଆଉ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ଭୀଷଣ ବର୍ଷା ସମ୍ଭାବନା ଥିବାରୁ କେନ୍ଦୁଝର ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି। ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳରେ ପବନ ଓ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇ ଜୁଲାଇ ୨୭ ତାରିଖ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *