ଭୁବନେଶ୍ୱର,୦୨/୦୮/୨୦୨୬ (ଓଡ଼ିଶା ସମାଚାର)- ରାଜ୍ୟରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ଉଦ୍ଧାର କାର୍ୟ୍ୟକୁ ଆହୁରି ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକରେ ରିଲିଫ୍ ଏବଂ ପୁନରୁଦ୍ଧାର କାର୍ୟ୍ୟର ପ୍ରତ୍ୟକ୍ଷ ତଦାରଖ ପାଇଁ ସେ ମନ୍ତ୍ରୀମଣ୍ଡଳର ବରିଷ୍ଠ ସଦସ୍ୟମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବଣ୍ଟନ କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର, ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କୁ ପୁରୀ ଜିଲ୍ଲା ଏବଂ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ୟ୍ୟର ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି ।
